ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ବଙ୍ଗୋପସାଗର ଓ ତାର ଆଖପାଖ ଅଞ୍ଚଳରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବର୍ଷା ସମ୍ଭାବନା ରହିଛି । ଏହାବାଦ ଆସନ୍ତା କାଲିଠୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।
ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ଅର୍ଥାତ ବୁଧବାର ଓ ଗୁରୁବାର ପାଇଁ ମଧ୍ୟ କିଛି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
୨୮ରୁ ୩୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ରରେ ୪୦ରୁ ୫୦ କି.ମି ବେଗରେ ପବନ ବୋହିବ। ତେଣୁ ସମୁଦ୍ରକୁ ଯିବା ବେଳେ ସତର୍କତା ଅବଲମ୍ବନ କରିବାକୁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି।
ସୂଚନାଯୋଗ୍ୟ, ଜୁଲାଇ ଅଧା ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପରିମାଣ କମ୍ ଥିଲା। ଏବେ ବି ତାହା ସ୍ୱାଭାବିକ ସ୍ଥିତିକୁ ଫେରି ନ ଥିବା ବେଳେ ୧୭ଟି ଜିଲ୍ଲାରେ ମରୁଡ଼ି ପରିସ୍ଥିତି ଦେଖାଦେଇଛି। ତେଣୁ ଏବେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଚାଷୀକୂଳ ଆଶ୍ୱସ୍ତ ଲାଭ କରିବେ ବୋଲି ଆଶା କରାଯାଉଛି।
The post ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୩୦ ଯାଏ ବର୍ଷିବ appeared first on Odisha Reporter.
from Odisha Reporter https://ift.tt/3iTreHa
No comments:
Post a Comment